ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ। ଆଜି ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସୂଚନାନୁଯାୟୀ, ଶନିବାର ସକାଳ ସାଢ଼େ ୫ଟା ସମୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ବର୍ଷାର ବିସ୍ତୃତି ଓ ପରିମାଣ ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଜୁଳି, ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି । ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ‘ଅରେଞ୍ଜ ଆଲର୍ଟ’ ରହିଥିବା ବେଳେ ଅନ୍ୟ ସମସ୍ତ ଜିଲ୍ଲା ପାଇଁ ‘ୟେଲୋ ଆଲର୍ଟ’ ଜାରି କରାଯାଇଛି । ଆସନ୍ତାକାଲି ବର୍ଷାର ପ୍ରକୋପ ସବୁଠାରୁ ଅଧିକ ରହିବ। ମୟୂରଭଞ୍ଜ ଜିଲ୍ଲା ପାଇଁ ‘ରେଡ୍ ଆଲର୍ଟ’ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅଙ୍ଗୁଳ ଓ ଢେଙ୍କାନାଳରେ ଅରେଞ୍ଜ ଆଲର୍ଟ ଏବଂ ଅବଶିଷ୍ଟ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି ରହିଛି। କାଲି ପରେ ବର୍ଷାର ପ୍ରଭାବ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଓଡ଼ିଶା ଆଡ଼କୁ ଗତି କରିବ। ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ‘ଅରେଞ୍ଜ ଆଲର୍ଟ’ ରହିଛି । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, କଚ୍ଚା ଘର ଓ ଚାଷକାର୍ଯ୍ୟ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି । ତେଣୁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବା ପରାମର୍ଶ ଦିଆଯାଇଛି ।
